ଲଘୁଚାପ: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଗତକାଲିର ଲଘୁଚାପ କ୍ଷେତ୍ର ଆଜି (ମଙ୍ଗଳବାର) ଆହୁରି ଘନୀଭୂତ ହୋଇ ପଶ୍ଚିମ- କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ- ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସହ ଉତ୍ତର-ଆନ୍ଧ୍ରପ୍ରଦେଶ ଦକ୍ଷିଣ ଓଡିଶା ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି।

ଅନ୍ୟପକ୍ଷରେ ମୌସୁମୀ ନିମ୍ନଚାପ ରେଖା ଆଜି ରାଜସ୍ଥାନର ଯଶେଲମେରରୁ ବାହାରି କୋଟା, ଗୁନା, ରାୟପୁର, ଭବାନୀପାଟଣା ଏବଂ ପଶ୍ଚିମ କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୂଳରେ ସକ୍ରିୟ ସୁଦୃଶଃ ଲଘୁଚାପ କ୍ଷେତ୍ରର କେନ୍ଦ୍ରରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ଗତିକରୁଛି।
ସଦ୍ୟ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୬ ଜୁଲାଇ, ବୁଧବାର ଅପରାହ୍ନ ମଧ୍ୟରେ ଓଡ଼ିଶାର ୪ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୧୨ରୁ ୨୦ସେମି)ର ସମ୍ଭାବନା ରହଥିବା ବେଳେ ୮ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି)ର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଏ ପରିସ୍ଥିତରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୧୨ରୁ ୨୦ସେମି)ର ସମ୍ଭାବନା ରହିଛି। ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକୁ କମଳା ଚେତାବନୀ ବା ଅରେଞ୍ଜଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଓ ନବରଙ୍ଗପୁର, ପ୍ରଭୃତି ୮ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି)ର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂଜାରି କରିଛି ପାଣିପାଗ ବିଭାଗ।

ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି (ମଙ୍ଗଳବାର) ସକାଳୁ ଆକାଶ ମେଘାଛନ୍ନ ରହିଥିବା ବେଳେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।

ସକ୍ରିୟ ଲଘୁଚାପ ଏବଂ ଶକ୍ତିଶାଳୀ ମୌସୁମୀ ପ୍ରବାହ ହେତୁ ଓଡିଶା ଉପକୂଳର ଆଖପାଖ ଅଞ୍ଚଳ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତତ-ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୨୨ ତାରିଖ ଯାଏଁ ଝଡପବନ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ବେଗରେ ବୋହିବାର ସମ୍ଭାବନା ରହିଛ।ି ତେଣୁ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ସମ୍ପୂର୍ଣ ବାରଣ କରାଯାଇଛି।

nis-ad
Leave A Reply

Your email address will not be published.