ପାର୍କିଂ ଫି’ ଆଦାୟକୁ କେନ୍ଦ୍ର କରି ବସ୍ ଟର୍ମିନାଲ ପରିସରରେ ଆକ୍ରମଣ ଘଟଣା, ନାବାଳକ ଗିରଫ
ଗିରଫ ସଂଖ୍ୟା ୫କୁ ବୃଦ୍ଧି….
ହିଞ୍ଜିଳିକାଟୁ : ଗତ ଡିସେମ୍ବର ୧୦ ତାରିଖ ରାତି ପ୍ରାୟ ସାଢେ ୮ଟାରେ ହିଞ୍ଜିଳିକାଟୁର ଏକ ବିବାହ ଭୋଜିରେ ଯୋଗ ଦେବା ପାଇଁ ବ୍ରହ୍ମପୁର ଅଞ୍ଚଳର କିଛି ଯୁବକ କାର୍ ଯୋଗେ ଆସି ହିଞ୍ଜିଳିକାଟୁ ଠାରେ ପହଞ୍ଚିଥିଲେ । ହିଞ୍ଜିଳିକାଟୁ ବସ୍ ଟର୍ମିନାଲ ପରିସରରେ କାର୍ ପାର୍କିଂ କରିବା ପରେ ଲିଜଧାରୀ କିଛି ଯୁବକ କାରଗାଡି ନିକଟକୁ ଆସି ପାର୍କିଂ ଫି’ ବାବଦକୁ ଟଙ୍କା ମାଗିଥିଲେ । କିନ୍ତୁ କାରଗାଡିରେ ଆସିଥିବା ଯୁବକ ମାନେ ପାର୍କିଂ ବାବଦକୁ ଆବଶ୍ୟକ ସ୍ଥାନ ନଥିବା ଦର୍ଶାଇ ଫି’ ଦେବାକୁ ମନା କରି ଦେଇଥିଲେ । ଫଳରେ ଉଭୟ ଗୋଷ୍ଠୀ ମଧ୍ୟରେ ପାଟିତୁଣ୍ଡ ହେବା ସହ ହାତାହାତି ହୋଇଥିଲା । କିଛି ସମୟ ପରେ ହିଞ୍ଜିଳିକାଟୁ ଅଞ୍ଚଳର କିଛି ଯୁବକ ବିଭିନ୍ନ ମାରଣାସ୍ତ୍ର ଧରି ବସ୍ ଟର୍ମିନାଲ ପରିସରରେ ପହଞ୍ଚି ଆକ୍ରମଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା । ଅନ୍ୟପକ୍ଷରେ ବ୍ରହ୍ମପୁରରୁ ଆସିଥିବା ଯୁବକ ମାନେ ବିଜେପି କର୍ମୀ ହୋଇଥିବାରୁ ସ୍ଥାନୀୟ ଅଞ୍ଚଳର କିଛି ବିଜେପି କର୍ମୀ ଘଟଣା ସ୍ଥଳରେ ପହଞ୍ଚିଥିଲେ । ଉଭୟ ଗୋଷ୍ଠୀ ମଧ୍ୟରେ ଆରମ୍ଭ ହୋଇଥିଲା ଆକ୍ରମଣ ଓ ପ୍ରତିଆକ୍ରମଣ । ଫଳରେ ବସ୍ ଟର୍ମିନାଲ ପରିସର କିଛି ସମୟ ପାଇଁ ରଣକ୍ଷେତ୍ର ପାଲଟି ଯାଇଥିଲା । ଆକ୍ରମଣ ଓ ପ୍ରତିଆକ୍ରମଣରେ ୪ ଜଣ ଯୁବକ ଆହତ ହୋଇଥିଲେ । ଖବର ପାଇ ହିଞ୍ଜିଳି ପୁଲିସ ବସ୍ ଟର୍ମିନାଲ ପରିସରରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା । ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଦାବିରେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ଅଞ୍ଚଳର ଶତାଧିକ ବିଜେପି କର୍ମୀ ହିଞ୍ଜିଳି ଥାନାରେ ପହଞ୍ଚି ଥାନା ଘେରିଥିଲେ । ଘଟଣା ନେଇ ବ୍ରହ୍ମପୁର ଟାଉନଥାନା ଗେଟବଜାର ଅଞ୍ଚଳର ନାରାୟଣ ବେହେରା ହିଞ୍ଜିଳି ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗ ଭିତ୍ତିରେ ହିଞ୍ଜିଳି ଥାନାରେ କେସ ନଂ- ୧୦୦୬/୨୪ରେ ଏକ ମାମଲା ରୁଜୁ କରି ପୁଲିସ ଘଟଣାର ତଦନ୍ତ ଚଳାଇଥିଲା । ଗତ ୧୧ ତାରିଖରେ ଘଟଣରେ ସଂପୃକ୍ତ ଥିବା ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା। ଘଟଣାରେ ଅନ୍ୟ କିଛି ଯୁବକ ସଂଶ୍ଳିଷ୍ଟ ଥାଇ ଫେରାର ହୋଇଯାଇଥିଲେ। ରବିବାର ଘଟଣାରେ ସଂପୃକ୍ତ ହିଞ୍ଜିଳି ଥାନା ଅଞ୍ଚଳର ଅନ୍ୟ ଜଣେ ନାବାଳକଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଥାନା ସୂତ୍ରରୁ ପ୍ରକାଶ।