ପ୍ରବାସୀ ଭାରତୀୟ ଦିବସ: ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ ଆସିବାକୁ ନେଇ ଜୋରଦାର ପ୍ରସ୍ତୁତି

ଭୁବନେଶ୍ବର: ଆସନ୍ତା ୮ରୁ ଭୁବନେଶ୍ୱର ଜନତା ମୈଦାନରେ ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ । ଏହା ତିନି ଦିନ ଅର୍ଥାତ୍ ଜାନୁଆରୀ ୧୦ ଯାଏଁ ଚାଲିବ । ବୈଦେଶିକ ମନ୍ତ୍ରଣାଳୟ ସହଯୋଗରେ ରାଜ୍ୟ ସରକାର ଜୋରଦାର ପ୍ରସ୍ତୁତି କରୁଛନ୍ତି । ଏନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଶୃଙ୍ଖଳିତ ଓ ଭଲ ଭାବେ ଆୟୋଜନ କରାଯିବା ନେଇ ମୁଖ୍ୟ ଶାସନ ସଚିବ ସମସ୍ତ ପ୍ରସ୍ତୁତି ଉପରେ ଗୁରୁତ୍ବ ଦେଇଛନ୍ତି ।

ବୈଠକରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ରାଜଭବନରେ ସାମୟିକ ରହଣୀ ବ୍ୟବସ୍ଥା, ସୁରକ୍ଷା, କାରକେଡ ବ୍ୟବସ୍ଥା, କାର୍ଯ୍ୟକ୍ରମ ସ୍ଥଳକୁ ଯିବା ଆସିବା ବ୍ୟବସ୍ଥା, ଚିକିତ୍ସା ଓ ସ୍ୱାସ୍ଥ୍ୟ ସହାୟତା, କାର୍ଯ୍ୟକ୍ରମ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ ସରବରାହ ସହିତ ଯଥେଷ୍ଟ ସଂଖ୍ୟକ ଅତିରିକ୍ତ ଜେନେରେଟର ସୁବିଧା, ଉତ୍ସବ ସ୍ଥଳରେ ନିରବଚ୍ଛିନ୍ନ ପାନୀୟ ଜଳ ଯୋଗାଣ, ମଞ୍ଚ ପ୍ରସ୍ତୁତି, ଇଣ୍ଟରନେଟ ସୁବିଧା, ବେରିକେଡିଂ ବ୍ୟବସ୍ଥା, ଗଣମାଧ୍ୟମରେ ପ୍ରଚାର ପ୍ରସାର, ଆବଶ୍ୟକ ପାସ ବ୍ୟବସ୍ଥା, ଅଗ୍ନି ନିର୍ବାପକ ବ୍ୟବସ୍ଥା, ଦର୍ଶକ ଓ ଅତିଥିଙ୍କ ପାଇଁ ବ୍ୟବସ୍ଥା ଆଦି ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇଛି ।

ସୂଚନାମୁତାବକ ଉଦଘାଟନୀ ସମାରୋହରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ଯୋଗଦେବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାନୁଆରୀ ୯ ତାରିଖରେ ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜାନୁଆରୀ ୧୦ ତାରିଖରେ ଉଦଯାପନୀ ଅଧିବେଶନରେ ଯୋଗଦାନ କରିବେ ।

ପ୍ରଧାନମନ୍ତ୍ରୀଙ୍କ ଗସ୍ତସୂଚୀ ଅନୁସାରେ ନରେନ୍ଦ୍ର ମୋଦି ଜାନୁଆରୀ ୮ ତାରିଖ ସନ୍ଧ୍ୟା ୭ରେ ବିଶାଖାପାଟଣା ବିମାନବନ୍ଦରରୁ ବାହାରି ଭୁବନେଶ୍ୱରର ବିମାନ ବନ୍ଦରରେ ପହଞ୍ଚିବେ । ପରଦିନ ଅର୍ଥାତ୍ ୯ ତାରିଖରେ ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗ ଦେବେ ଓ ପୂର୍ବାହ୍ନ ୧୧.୫୫ରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ବୋଲି ସୂଚନା ରହିଛି । ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜାନୁଆରୀ ୯ ତାରିଖ ଅପରାହ୍ନ ୩ ଟାରେ ଗୌହାଟୀ ବିମାନ ବନ୍ଦରରୁ ବାୟୁସେନା ବିମାନରେ ବାହାରି ଅପରାହ୍ନ ୪ଟା ୩୫ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ । ରାଜଭବନରେ ରହଣୀର ବ୍ୟବସ୍ଥା କରାଯାଇଛି । ୧୦ ତାରିଖରେ ପୂର୍ବାହ୍ନ ୧୧ଟା ୪୦ରେ ଜନତା ମଇଦାନରେ ପହଞ୍ଚିବେ । ରାଷ୍ଟ୍ରପତି ସେଦିନ ଅପରାହ୍ନ ୩ଟାରେ ପ୍ରବାସୀ ଭାରତୀୟ ସମ୍ମାନ ପ୍ରଦାନ କରିବେ । କାର୍ଯ୍ୟକ୍ରମ ପରେ ଅପରାହ୍ନ ୫.୨୫ ମିନିଟରେ ଭୁବନେଶ୍ୱର ବିମାନ ବନ୍ଦରରୁ ପ୍ରସ୍ଥାନ କରିବେ ।

ଏନେଇ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଶନିବାର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ବୈଠକରେ ରାଜ୍ୟ ଉନ୍ନୟନ କମିଶନର, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ଡିଜି ଓ୍ୱାଇ.ବି.ଖୁରାନିଆ, ଅଗ୍ନିଶମ ବିଭାଗ ଡିଜି ଡକ୍ଟର ସୁଧାଂଶୁ ଷଡ଼ଙ୍ଗୀଙ୍କ ସମେତ ରାଜ୍ୟ ପ୍ରଶାସନର ସଂପୃକ୍ତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଏବଂ ଅନ୍ୟ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ ।

nis-ad
Leave A Reply

Your email address will not be published.