ରାଜ୍ୟରେ ପୂରଣ ହେବ ନୂଆ ଦୁଇ ହଜାର ଟ୍ରାଫିକ୍ ପୋଲିସ ପଦବୀ

ଭୁବନେଶ୍ୱର: ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସଡ଼କ ଦୁର୍ଘଟଣା, ସାଇବର ଅପରାଧ ରୋରିବା ଉପରେ ଗୁରୁତ୍ୱ ଦେଇଛନ୍ତି। ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କିତ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି।

ସଡକ ଦୁର୍ଘଟଣା କମ କରିବା, ସାଇବର ଅପରାଧ ଏବଂ ଗଞ୍ଜେଇ ଚାଷକୁ ରୋକିବା ଦିଗରେ ଗୁରୁତ୍ୱ ଦିଆଯାଇଛି। ସଡକ ସୁରକ୍ଷା କ୍ଷେତ୍ରରେ ପ୍ରମୁଖ ଭୂମିକା ନେଉଥିବା ଟ୍ରାଫିକ୍ ବ୍ୟବସ୍ଥା ପାଇଁ ଚଳିତ ବର୍ଷ ଆଉ ୨ ହଜାର ନୂତନ ପଦବୀ ସୃଷ୍ଟି ପାଇଁ ନିର୍ଦ୍ଦେଶ ଦେବା ସହିତ ଏହି ପଦବୀ ଗୁଡ଼ିକୁ ସମ୍ପୂର୍ଣ୍ଣ ସ୍ୱଚ୍ଛତାର ସହ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ  ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ରାଜ୍ୟରେ ସାଇବର ଅପରାଧ ନିୟନ୍ତ୍ରଣ ପାଇଁ ରାଜ୍ୟର ସମସ୍ତ ଜିଲ୍ଲାରେ ସାଇବର ଥାନା କାର୍ଯ୍ୟକ୍ଷମ କରିବା ପାଇଁ ଆଉ ୨୦ଟି ନୂତନ ସାଇବର ଥାନା ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହିତ ପୂର୍ବରୁ କାର୍ଯ୍ୟକ୍ଷମ ଥିବା ଥାନା ଗୁଡିକୁ ଅଧିକ ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।

ଅନ୍ୟପଟେ ରାଜ୍ୟରେ ଗଞ୍ଜେଇ ଚାଷ ଓ ଗଞ୍ଜେଇ ଚାଲଣକୁ ରୋକିବା ପାଇଁ ଦୃଢ ପଦକ୍ଷେପ ନେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି। ଭୁବନେଶ୍ୱର ଓ କଟକର ଅପରାଧ ନିୟନ୍ତ୍ରଣ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ସହରରେ ରାତ୍ରୀ କାଳୀନ ପେଟ୍ରୋଲିଂ ଓ ଚେକିଂ ବ୍ୟବସ୍ଥାକୁ କଡାକଡି କରାଯିବ। ଏଥି ସହିତ ରାଜ୍ୟର ସମସ୍ତ ସହରାଞ୍ଚଳରେ ଏହି ବ୍ୟବସ୍ଥା କାର୍ଯ୍ୟକାରୀ ହେବ। ମାଓ ପ୍ରବଣ ଜିଲ୍ଲା ଗୁଡିକରେ ସୁରକ୍ଷା ବ୍ୟବସ୍ଥା ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ ପୋଲିସ ମହାନିର୍ଦ୍ଦେଶକଙ୍କୁ ପରାମର୍ଶ ଦେଇଛନ୍ତି।

nis-ad
Leave A Reply

Your email address will not be published.