ଆଉ ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସରଦେଲେ ସରକାର

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଆଉ ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଏଥିରେ ୩ ଜଣ ଏକଜିକ୍ୟୁଟିଭ୍ ଇଞ୍ଜିନିୟରଙ୍କ ସମେତ ପୋଲିସ ଇନ୍ସପେକ୍ଟର, ଅତିରିକ୍ତ ଯୋଗାଣ ଅଧିକାରୀ ଓ ଜିଲ୍ଲା କଲ୍ୟାଣ ଅଧିକାରୀ ରହିଛନ୍ତି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୮ ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଏହି ୬ ଜଣଙ୍କ ମଧ୍ୟରୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅଧିନସ୍ଥ ଜନସ୍ୱାସ୍ଥ୍ୟ ଇଞ୍ଜିନିୟରିଂ କ୍ୟାଡରର ୩ ଜଣ ଏକଜିକ୍ୟୁଟିଭ୍ ଇଞ୍ଜିନିୟର ରହିଛନ୍ତି । ଏମାନଙ୍କ ମଧ୍ୟରୁ ସରୋଜ କୁମାର ଦାସଙ୍କ କାର୍ଯ୍ୟଶୈଳୀ ଆଦୌ ସନ୍ତୋଷଜନକ ନ ଥିଲା ଏବଂ ତାଙ୍କର ଅତୀତର ରେକର୍ଡରୁ ଜଣାଯାଇଛି ଯେ କାର୍ଯ୍ୟ କ୍ଷେତ୍ରରେ ଅତ୍ୟନ୍ତ ଅପାରଗ ଥିଲେ। ତାଙ୍କ କାର୍ଯ୍ୟଶୈଳୀରେ ଅସଙ୍ଗତି, ନିଷ୍ଠାର ଅଭାବ ଏବଂ ଅପାରଗତା ଯୋଗୁ ସେ ଜଣେ ସରକାରୀ ଅଧିକାରୀ ଭାବେ ଦାୟିତ୍ୱ ତୁଲାଇବା ଜନସ୍ୱାର୍ଥର ପରିପନ୍ଥୀ । ତେଣୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ସେହିପରି ଏକଜିକ୍ୟୁଟିଭ୍ ଇଞ୍ଜିନିୟର ଦୟାନିଧି ସାମଲଙ୍କ କାର୍ଯ୍ୟ କଳାପ ମଧ୍ୟ ସନ୍ତୋଷଜନକ ନୁହେଁ । ତାଙ୍କର କାର୍ଯ୍ୟ କଳାପ ଜଣେ ଦାୟିତ୍ୱବାନ ସରକାରୀ କର୍ମଚାରୀଙ୍କ କାର୍ଯ୍ୟର ପରିପନ୍ଥୀ ଓ ଜନସ୍ୱାର୍ଥ ବିରୋଧୀ । ଏହା ସହିତ ଅପାରଗତା ଓ ଅସାଧୁତା ଆଦି କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏକଜିକ୍ୟୁଟିଭ୍ ଇଞ୍ଜିନିୟର କରୁଣାକର ଘଡାଇଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ଜଣେ ଯୋଗାଣକାରୀଙ୍କୁ ସେ ଅନୁଚିତ ଅନୁଗ୍ରହ ପ୍ରଦର୍ଶନ କରିଥିଲେ । ତାଙ୍କର କାର୍ଯ୍ୟକଳାପ ସନ୍ତୋଷଜନକ ନୁହେଁ ଏବଂ ତାଙ୍କ ବିରୋଧରେ ଅସାଧୁତାର ପ୍ରମାଣ ମଧ୍ୟ ରହିଛି । ତେଣୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଅନୁଗୁଳ ଜିଲ୍ଲା ପୋଲିସ ଇନ୍‌ସପେକ୍ଟର ରତ୍ନାକର ମଲ୍ଲିକଙ୍କୁ ଅପାରଗତା କାରଣକୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ନୂଆପଡ଼ା ଜିଲ୍ଲାର ଅତିରିକ୍ତ ଯୋଗାଣ ଅଧିକାରୀ ରତ୍ନାକର ସେଠୀଙ୍କ ନାମରେ ଦୁଇଟି ଦୁର୍ନୀତି ମାମଲ ରହିଛି । ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢାଉ କରାଯାଇ ତାଙ୍କ ନିକଟରୁ ୬.୫ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଜବତ କରାଯାଇ ତାଙ୍କୁ ଜେଲ୍‌କୁ ପଠାଯାଇଛି । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଅନୁଗୁଳ ଜିଲ୍ଲାର ପୂର୍ବତନ କଲ୍ୟାଣ ଅଧିକାରୀ ଚାରୁଲତା ମଲ୍ଲିକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି । ଜିଲ୍ଲା କଲ୍ୟାଣ ଅଧିକାରୀ ଭାବରେ ସେ ଲାଞ୍ଚ ଗ୍ରହଣ କରୁଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଧରା ପଡିଥିଲେ। ସେ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିଲା।
ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୮ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି।

nis-ad
Leave A Reply

Your email address will not be published.