ଗଞ୍ଜାମ ଜିଲ୍ଲାର ୧୦୬ଟି ହାଇସ୍କୁଲ ରୂପାନ୍ତରଣ

ଆଉ ୬ ମାସ ମଧ୍ୟରେ ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟର ସବୁ ସରକାରୀ ହାଇସ୍କୁଲ ରୂପାନ୍ତରିତ ହେବ

ଛାତ୍ର ମାନଙ୍କ ସଫଳତା ଓଡିଶାର ସଫଳତା – ମୁଖ୍ୟମନ୍ତ୍ରୀ

ଆମେ ଭାବିଥିଲୁ କେବଳ ସ୍ବଚ୍ଛଳ ବର୍ଗର ପିଲାମାନେ ଉନ୍ନତ ଶିକ୍ଷା ସୁବିଧା ପାଇପାରିବେ, କିନ୍ତୁ ଆଜି ମୁଖ୍ୟମନ୍ତ୍ରୀ ଆମର ଧାରଣା ଦୂର କରିଛନ୍ତି, ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ – ଛାତ୍ରଛାତ୍ରୀ

ବ୍ରହ୍ମପୁର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ଶୁଭାରମ୍ଭ କରିଛନ୍ତି । ଏହି ପର୍ଯ୍ୟାୟର ପ୍ରଥମ ଦିନରେ ଆଜି ୪ଟି ଜିଲ୍ଲାର ୩୫୭ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି । ଏଥିରେ ଗଞ୍ଜାମ ଜିଲ୍ଲାର ୧୦୬ଟି ହାଇସ୍କୁଲ, ଅନୁଗୁଳର ୮୭ଟି, କେନ୍ଦୁଝରର ୫୭ଟି ଓ ଜଗତସିଂହପୁରର ୧୦୭ଟି ହାଇସ୍କୁଲ ଅନ୍ତର୍ଭୁକ୍ତ। ତୃତୀୟ ପର୍ଯ୍ୟାୟରେ ସମୁଦାୟ ୨୧୫୧ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ସୂଚନାଯୋଗ୍ୟ ଯେ ଗତ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ୩୯୮୧ଟି ସ୍କୁଲ ରୂପାନ୍ତରିତ ହୋଇଛି । ତିନୋଟି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬୧୩୨ଟି ସ୍କୁଲ ରୂପାନ୍ତରିତ ହେବ

ଏହି ଅବସରରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଡି ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଛାତ୍ରଛାତ୍ରୀ ମାନଙ୍କ ସଫଳତା ହେଉଛି ଓଡିଶାର ସଫଳତା । ୫-ଟି ସ୍କୁଲ ଗୁଡିକରେ ପିଲାମାନଙ୍କୁ ସବୁ ପ୍ରକାର ଆଧୁନିକ ସୁବିଧା ଦେବା ପାଇଁ ପ୍ରଚେଷ୍ଟା କରାଯାଇଛି। ପିଲାମାନେ ଏହାର ସୁଯୋଗ ନେଇ ନିଜ ପ୍ରତିଭାର ପରିଚୟ ପ୍ରଦାନ କରିପାରିଲେ, ସେମାନଙ୍କ ନିଜର ଓ ପରିବାରର ଗୌରବ ବୃଦ୍ଧି ହେବା ସହିତ ସାରା ଓଡିଶାର ଗୌରବ ବୃଦ୍ଧି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହିସବୁ ସ୍କୁଲ ଗୁଡିକରେ ଉପସ୍ଥିତ ଥିବା ଛାତ୍ରଛାତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପିଲାମାନେ ଯଦି ନିଜ ଜୀବନରେ ୫-ଟିର ଉପଯୋଗ କରିବେ, ତେବେ ସେମାନେ ଜୀବନର ସବୁ କ୍ଷେତ୍ରରେ ସଫଳ ହୋଇପାରିବେ । ଏହାକୁ ବ୍ୟାଖ୍ୟାନ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବର୍ତ୍ତମାନ ଯୁଗ ହେଉଛି ଟେକ୍‌ନୋଲୋଜିର ଯୁଗ । ତେଣୁ ପିଲାମାନେ ନୂଆ ନୂଆ ଟେକ୍‌ନୋଲୋଜି ବିଷୟରେ ଜାଣିବାକୁ ଚେଷ୍ଟା କରିବା ଆବଶ୍ୟକ । ଦ୍ବିତୀୟ ବିଷୟଟି ହେଉଛି ଟିମ୍‌ୱାର୍କ । ପିଲାମାନେ ମିଳିମିଶି କାମ କଲେ, ସଫଳତାର ସମ୍ଭାବନା ବଢିବ। କ୍ରୀଡ଼ା କ୍ଷେତ୍ରରେ ଟିମ୍‌ୱାର୍କ ଅତି ଜରୁରୀ ବୋଲି ସେ କହିଥିଲେ। ସେହିପରି ଜୀବନରେ ସାଧୁତା (Transparency ) ହେଉଛି ଏକ ଜରୁରୀ ଆବଶ୍ୟକତା । ସାଧୁତା ଦ୍ବାରା ମଣିଷର ବିଶ୍ବସନୀୟତା ବୃଦ୍ଧି ପାଏ। ସମୟରେ ଗୁରୁତ୍ବ ସଂପର୍କରେ ସମସ୍ତେ ଜାଣିଛନ୍ତି। ତେଣୁ ଏ ସବୁ ସହିତ ସମୟର ଉପଯୋଗ ଠିକ୍‌ ଭାବରେ କରିପାରିଲେ, ପିଲାମାନେ ନିଶ୍ଚୟ ସବୁକ୍ଷେତ୍ରରେ ଆଗରେ ରହିବେ ଏବଂ ସେମାନଙ୍କ ଜୀବନରେ ଆସିବ ରୂପାନ୍ତର ବା ସଫଳତା।

କାର୍ଯ୍ୟକ୍ରମରେ ଉପସ୍ଥିତ ବିଧାୟକଗଣ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ୫-ଟି କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ । ସେ କହିଥିଲେ ଯେ ୫-ଟି ହେଉଛି ଟେକ୍‌ନୋଲୋଜି, ଟିମ୍‌ୱାର୍କ, ଟ୍ରାନସ୍‌ପରେନ୍‌ସି ବା ସ୍ବଚ୍ଛତା ଏବଂ ଟାଇମ ବା ସମୟ । ଏସବୁର ପ୍ରୟୋଗରେ ଟ୍ରାନ୍‌ସଫରମେସନ ବା ରୂପାନ୍ତର ଆସିଥାଏ । ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍‌ନୋଲୋଜିର ପ୍ରୟୋଗରେ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର ଓ ଆଧୁନିକ ଲାବୋରେଟୋରୀର ବିକାଶ କରାଯାଇଛି । ସେହିପରି ଏହି ରୂପାନ୍ତର କାମକୁ ସମସ୍ତଙ୍କ ମିଳିତ ଉଦ୍ୟମରେ କରାଯାଇଛି, ଯାହା ଟିମ୍‌ୱାର୍କର ପ୍ରତୀକ। ସମୟକୁ ଗୁରୁତ୍ବ ଦିଆଯାଇ ସମସ୍ତ କାମ ମଧ୍ୟ ଠିକ୍‌ ସମୟରେ ଶେଷ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏସବୁ କାମରେ ପ୍ରତି ସ୍ତରରେ ସ୍ବଚ୍ଛତା ବା ଟ୍ରାନ୍‌ସପରେନ୍‌ସି ରକ୍ଷା କରାଯାଇଛି। ସ୍ଥାନୀୟ ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରାଯାଇ କାମ କରାଯାଉଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି ପ୍ରତ୍ୟେକ କାର୍ଯ୍ୟ ପାଇଁ ହେଉଥିବା ଖର୍ଚ୍ଚ ସଂପର୍କରେ ସମସ୍ତେ ସବୁ ବିଷୟରେ ଜାଣନ୍ତି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି । ଏସବୁ ଦ୍ବାରା ଆସିଛି ରୂପାନ୍ତର । ଯାହାକୁ ଆମେ ସବୁ ଦେଖିପାରୁଛୁ ଓ ଅନୁଭବ କରିପାରୁଛୁ ।

ଏହି ଅବସରରେ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ ମାନେ ୫-ଟି ରୂପାନ୍ତର ସଂପର୍କରେ ସେମାନଙ୍କର ଅଭିଜ୍ଞତା ସଂପର୍କରେ ବର୍ଣ୍ଣନା କରିଥିଲେ । ଅନୁଗୁଳ ଜିଲ୍ଲାର ଛେଣ୍ଡିପଦାସ୍ଥିତ ପରଙ୍ଗ ସେଣ୍ଟେନାରୀ ଟ୍ରାଇବାଲ ହାଇସ୍କୁଲର ଛାତ୍ରୀ ସୁପ୍ରିୟା ପଟ୍ଟନାୟକ, ଗଞ୍ଜାମ ଜିଲ୍ଲାର ବେଲଗୁଣ୍ଠାସ୍ଥିତ ଆର୍ଯ୍ୟବନ ଗୁରୁକୁଳ ବିଦ୍ୟାଳୟର ଛାତ୍ରୀ ସ୍ମୃତି ପଲାଇ, ଜଗତସିଂହପୁର ରୂପାନ୍ତରିତ ସ୍କୁଲର ଛାତ୍ରୀ ସ୍ବାତୀସ୍ନିଗ୍ଧା ଆଚାର୍ଯ୍ୟ ଏବଂ କେନ୍ଦୁଝର ଜିଲ୍ଲାର ସନ୍ତୋଷୀ ମା ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟର ଶୁଭାସିନୀ ମୁଣ୍ଡା ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ ଯେ ଆମର ଧାରଣା ଥିଲା ଯେ କେବଳ ସ୍ବଚ୍ଛଳ ବର୍ଗର ଛାତ୍ରଛାତ୍ରୀମାନେ ଉନ୍ନତ ଶିକ୍ଷା ବ୍ୟବସ୍ଥାର ସୁବିଧା ପାଇପାରିବେ । କିନ୍ତୁ ମୁଖ୍ୟମନ୍ତ୍ରୀ ସେ ଧାରଣା ପରିବର୍ତ୍ତନ କରିଛନ୍ତି । ଆମକୁ ସବୁଠାରୁ ଅତ୍ୟାଧୁନିକ ସୁବିଧା ମିଳିଛି । ଇଙ୍ଗ୍ରାଜି ମିଡିଅମ ସ୍କୁଲରେ ପଢିବାର ଇଚ୍ଛା ଆଉ ନାହିଁ । ଆମ ସ୍କୁଲରେ ହିଁ ସବୁ ସୁବିଧା ରହିଛି । ଆମେ ପଢିବୁ, ବଢିବୁ ଏବଂ ଓଡିଶାର ନାଁ ରଖିବୁ ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପିଲାମାନଙ୍କ ସହ ମତ ବିନିମୟ କରି ସେମାନେ ଭବିଷ୍ୟତରେ କଣ ହେବାକୁ ଚାହାନ୍ତି ବୋଲି ପଚାରିବାରୁ, ସେମାନେ ସମସ୍ତେ ପ୍ରଶାସନିକ ଅଧିକାରୀ, ଡାକ୍ତର ଓ ଇଂଜିନିଅର ହେବେ ବୋଲି ପ୍ରକାଶ କରିଥିଲେ।

କାର୍ଯ୍ୟକ୍ରମରେ ଅନୁଗୁଳ ଜିଲ୍ଲାରେ ବିଧାନସଭାର ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂ, ବ୍ରହ୍ମପୁର ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ, ଜଗତସିଂହପୁର ବିଧାୟକ ତଥା ସରକାରୀ ମୁଖ୍ୟ ସଚେତନ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି ଏବଂ ପାଟଣା ବିଧାୟକ ତଥା ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ଶ୍ରୀ ଜଗନ୍ନାଥ ନାୟକ ପ୍ରମୁଖ ନିଜର ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ଉଚ୍ଚ ପ୍ରଶଂସା କରିଥିଲେ । କେବଳ ସ୍କୁଲ ରୂପାନ୍ତର ନୁହେଁ, ବିଭିନ୍ନ କ୍ଷେତ୍ରରେ ଆଜି ଓଡିଶା ସାରା ଦେଶରେ ଓ ବିଦେଶରେ ସୁନାମ ଅର୍ଜନ କରୁଛି । ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ଯୋଗୁ ଏହା ସମ୍ଭବ ହୋଇପାରିଛି ବୋଲି ସେମାନେ କହିଥିଲେ । ଆଜିର ଛାତ୍ରଛାତ୍ରୀମାନେ ଉନ୍ନତ ଶିକ୍ଷା ସୁବିଧା ପାଇ ଓଡିଶାର ଟେକ ରଖିବେ ବୋଲି ସେମାନେ ଦୃଢ ବିଶ୍ବାସ ପ୍ରକଟ କରିଥିଲେ ।

ପିଲାମାନଙ୍କ ସହିତ ଆଲୋଚନାରେ ଭାଗ ନେଇ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ସରକାରୀ ସ୍କୁଲର ପିଲାମାନଙ୍କ ପାଇଁ କେବଳ ଉନ୍ନତ ଶିକ୍ଷା ବ୍ୟବସ୍ଥା କରିନାହାନ୍ତି, ଏହା ସହିତ ସେମାନଙ୍କ ପାଇଁ ମେଡିକାଲ ଓ ଇଂଜିନିଅରିଂ କଲେଜରେ ୧୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ମଧ୍ୟ କରିଛନ୍ତି । ଆଗାମୀ ୬ ମାସ ମଧ୍ୟରେ ରାଜ୍ୟର ସବୁ ସ୍କୁଲକୁ ରୂପାନ୍ତରିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ବୋଲି ସେ କହିଥିଲେ । ତିନୋଟି ପର୍ଯ୍ୟାୟରେ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ସଫଳତା ପାଇଁ ସେ ଜିଲ୍ଲାସ୍ତରରେ କାମ କରୁଥିବା ଟିମ୍‌ ମାନଙ୍କୁ ଧନ୍ୟବାଦ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ । ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ସଚିବ ଓ ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

nis-ad
Leave A Reply

Your email address will not be published.